ରାଜ୍ୟ

ବାଲେଶ୍ଵର ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା

ଭୁବନେଶ୍ୱର: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ଯାୟ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ କିଷନ କୁମାର ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରି ସେମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଥିଲେ । ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ବାଲେଶ୍ୱର ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ‘ବାଲେଶ୍ଵର ହେଉଛି ଓଡ଼ିଶାର ଅନ୍ଯତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି- ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ ।‘ ବାଲେଶ୍ୱର ପାଇଁ ମୁଖ୍ୟମନ୍ତ୍ରୀ ନିମ୍ନ ପ୍ରକଳ୍ପ ଗୁଡ଼ିକ ଘୋଷଣା କରିଛନ୍ତି ।

୧) ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟରେ ବାଲେଶ୍ଵର ସହଦେବଖୁଣ୍ଟା ବସଷ୍ଟାଣ୍ଡର ବିକାଶ କରାଯିବ ।

୨) ତୁମୂଳିଆ ଗେଟ୍ ଫ୍ଲାଏ ଓଭର୍ ଠାରୁ ଷ୍ଟେସନ ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାକୁ ଛଅ ଥାକିଆ କରାଯିବ । ଏହା ସହିତ ଉକ୍ତ ରାସ୍ତାରେ ଆଧୁନିକ ଷ୍ଟ୍ରିଟ୍ ଲାଇଟର ବ୍ୟବସ୍ଥା ହେବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ୍ ସମସ୍ଯା ଦୂର କରିବାରେ ସହାୟକ ହେବ ।

୩) ବାଲେଶ୍ଵରର କ୍ରୀଡ଼ାବିତ୍ ମାନଙ୍କ ଭିତରେ ଥିବା ପ୍ରତିଭାର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ ବହୁମୂଖୀ ଇନଡୋର ହଲ୍, ସୁଇମିଂ ପୁଲ୍ ଆଦି ଉନ୍ନତ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବ । ଏହାସହିତ କ୍ରୀଡ଼ାବିତ୍ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ୍ ବ୍ୟବସ୍ଥା କରାଯିବ ।

୪) ବୁଢ଼ାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା । ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢ଼ାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ ସୌନ୍ଦର୍ଯ୍ୟକରଣ କରାଯିବ । ବାଲେଶ୍ଵର ସହରବାସୀଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢ଼ାବଳଙ୍ଗ ନଦୀକୂଳର ଆବଶ୍ୟକ ବିକାଶ କରାଯିବ ।

୫) ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡ଼ିକ ଯଥା ଗଡ଼ଗଡ଼ିଆ ପୋଖରୀ, ଶୋଭାରାମପୁର ପୋଖରୀ, ବଡ଼ଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର ସୌନ୍ଦର୍ଯ୍ୟକରଣ ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ ଖୋଲା ସ୍ଥାନ ସୃଷ୍ଟି କରିବ ।

୬) ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଡ୍ରେନେଜ୍ ଚ୍ୟାନେଲ୍ ଓ ତତସଂଯୁକ୍ତ ରାସ୍ତା ଗୁଡ଼ିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ‘ବାଲେଶ୍ଵର ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ୍ ନିମନ୍ତେ  ୨୭୫ କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ ୪ରୁ ୫ ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ ୧୬ କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ୍ ରୋଡ୍, କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି।’

ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ତାଙ୍କ ଉକ୍ତିକୁ ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରାଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ଘୋଷଣା କରିଛନ୍ତି । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀ ମାନଙ୍କ ସହଯୋଗ କାମନା କରିଛନ୍ତି ।

Leave a Reply

Your email address will not be published. Required fields are marked *