ରାଜ୍ୟ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି। କିଛି ଦିନ ବ୍ୟବଧାନ ପରେ ଏବେ ପୁଣି ୪ ଜଣ ଅଧିକାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ ଜଣେ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି । ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି।

ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ୍‌ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ ତହସିଲଦାର ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ୍‌ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଢେଙ୍କାନାଳର ଜିଲ୍ଲା ସବ୍ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଛି।

ତାହା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ୍‌ ମଧ୍ୟ ରହିଛି। ତାଙ୍କର କାର୍ଯ୍ୟକଳାପ ସନ୍ଦେହଜନକ ରହିଥିଲା ଓ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ନୂଆପଡ଼ାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୂତ ଟଙ୍କା ମିଳିଥିଲା ଓ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା। ଦୁର୍ନୀତି ଓ ଅପାରଗତା କାରଣ ଯୋଗୁ ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସରକାର ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସୁଛନ୍ତି। ରାଜ୍ୟ ପ୍ରଶାସନରେ ସ୍ବଚ୍ଛତା ଓ ଦକ୍ଷତା ଆଣିବା ପାଇଁ ଏପରି ଅଧିକାରୀ ଓ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁସାରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ୨୦୧୯ ସେପ୍ଟେମ୍ବର ୨୪ ତାରିଖରେ ନିର୍ଦ୍ଦେଶନାମା ଜାରି କରିଥିଲେ। ସେବେ ଠାରୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ଦୁର୍ନୀତିଗସ୍ତ ଓ କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା ଅପାରଗ ଅଧିକାରୀ ଓ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଉଛି। ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Leave a Reply

Your email address will not be published. Required fields are marked *