Uncategorized

ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତର ଦ୍ଵିତୀୟ ଦିନ

ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ ଯାତାୟାତ ଉପଯୋଗୀ କରିବାକୁ ନିର୍ଦେଶ

ଭୁବନେଶ୍ବର, 15th May,(Knews): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଆଜି ପୂର୍ବାହ୍ନରେ ସେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ବ୍ରାହ୍ମଣୀ ନଦୀ ଉପରେ ଚାଲିଥିବା ଦ୍ୱିତୀୟ ସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ। କ୍ଷେତ୍ର ପରିଦର୍ଶନ କରିବା ପରେ ମୁଖ୍ୟ ଶାସନ ସଚିବ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ କହିଥିଲେ ଯେ, ବ୍ରାହ୍ମଣୀ ନଦୀ ଉପରେ ଯେଉଁ ଦ୍ୱିତୀୟ ସେତୁ ନିର୍ମାଣ ଚାଲିଛି ତାହା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜନସାଧାରଣଙ୍କ ସୁବିଧା ପାଇଁ ଏହି ସେତୁର ଗୋଟିଏ ପାର୍ଶ୍ୱକୁ ଚକିତ ମାସ ଶେଷ ସୁଦ୍ଧା ଯାତାୟାତ ଉପଯୋଗୀ କରାଯିବ। ଜୁନ୍ ମାସ ଶେଷ ସୁଦ୍ଧା ଏହି ସେତୁକୁ ୬ ଲେନ୍ ବିଶିଷ୍ଟ କରି ପୂର୍ଣ୍ଣାଙ୍ଗ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଥିଲେ ଯେଏହି ସେତୁ ସମ୍ପୂର୍ଣ୍ଣ ହେବାପରେ ରାଉରକେଲା ସହରରେ ଟ୍ରାଫିକ୍ ସମସ୍ୟାର ସମାଧାନ ହୋଇପାରିବ। ଭାରିଯାନଗୁଡ଼ିକ ସହର ଭିତରକୁ ନଆସି ବାଇପାସ୍ ରାସ୍ତା ଦେଇ ଯାତାୟତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ଫଳରେ ପ୍ରଦୂଷଣ ମଧ୍ୟ ନିୟନ୍ତ୍ରଣ ହୋଇପାରିବ । ସୂଚନାଯୋଗ୍ୟ, ୨୦୨୩ରେ ହେବାକୁ ଥିବା ପୁରୁଷ ବିଶ୍ୱକପ୍ ହକିକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଉନ୍ନୟନମୂଳକ କାମ ସହିତ ସୌନ୍ଦର୍ଯ୍ୟକରଣ କାମ କରାଯାଉଛି। ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଏହିସବୁ କାର୍ଯ୍ୟ ବୁଲି ଦେଖିଥିଲେ। ମୁଖ୍ୟତଃ ସେ କୋଏଲନଗରସ୍ଥିତ ବୈକୁଣ୍ଠ ଘାଟ ନିକଟରେ ନିର୍ମାଣାଧୀନ ରିକ୍ରିଏସନାଲ ପାର୍କ, ଟ୍ରାଫିକ ଗେଟ୍ ନିକଟରେ ଚାଲିଥିବା ପାର୍କିଂ ସ୍ଥଳ ଓ ପାନପୋଷଠାରେ ବହୁତଳ ମାର୍କେଟ କଂପ୍ଲେକ୍ସର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। କାମର ଗୁଣାତ୍ମକ ମାନ ବଜାୟ ରଖି ଏହିସବୁ ପ୍ରକଳ୍ପ ନିର୍ମାଣ ନିର୍ଦ୍ଧାରିତ ସମୟ ସୀମା ଭିତରେ ଶେଷ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *