ରାଜ୍ୟ

ବାତ୍ୟା ‘ୟାସ୍‌’ ଯୋଗୁ୍ଁ ୬୧୦ କୋଟି ଟଙ୍କାର କ୍ଷତି

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ‘ୟାସ’ର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକ୍ୟୁମେଣ୍ଟେସନ୍ କରିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଭିନ୍ନ ସମ୍ପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକ୍ୟୁମେଣ୍ଟେସନ୍ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକ୍ୟୁମେଣ୍ଟେସନ୍ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଡକୁମେଣ୍ଟେସନ୍ କରାଗଲେ ଭବିଷ୍ୟତରେ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ବାତ୍ୟା ୟଶ ରାଜ୍ୟରେ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ଘଟାଇଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।

ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ, ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।

କୃଷି ବିଭାଗର କ୍ଷୟକ୍ଷତି ସମ୍ପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ, ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକମାନଙ୍କୁ ଏହାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।

Leave a Reply

Your email address will not be published. Required fields are marked *