ରାଜ୍ୟ

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳମନ୍ତ୍ର, ମୁଖ୍ୟମନ୍ତ୍ରୀ ଆଉ କଣ କହିଲେ ଜାଣନ୍ତୁ

ଭୁବନେଶ୍ୱର : ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳମନ୍ତ୍ର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ଦେବା ଅବସରରେ ସେ ଏହି ମତ ରଖିଛନ୍ତି । ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍ରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍ରେ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ୱିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତ କେତେକ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ଗୁରୁତ୍ୱ ଦେଇ ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

Leave a Reply

Your email address will not be published. Required fields are marked *