ରାଜ୍ୟ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବେ । ସେହିଭଳି ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ । ଏଥିସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ ।

ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ । କଟକର ଏସସିବି ମେଡିକାଲ କଲେଜକୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ । କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି ।ସେହିପରି ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡ଼ିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ ।

Leave a Reply

Your email address will not be published. Required fields are marked *